ଆଜି ଅଣସରର ତ୍ରୟୋଦଶୀ ତିଥିରେ ହେବ ଘଣା ଓ ଖଳି ପ୍ରସାଦ ଲାଗି
ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବା ପରେ ରାଜପ୍ରାସାଦ ବିଜେ ସମ୍ପନ୍ନ ହୋଇଛି । ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର , ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହେବ । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉ ମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହେବ ।ଆଜି ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ। ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୁପା ପିଂଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିବେ । ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ । ଏଥିପୂର୍ବରୁ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ । ଶୁଦ୍ଧସୁଆର ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ଆଜି ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଦଇତାପତି ମାନେ ଲାଗି କରିବେ ।