ପ୍ରବଳ ବର୍ଷା 

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅପରାହ୍ଣ ସୁଦ୍ଧା କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିଅଛି। ଧୀରେ ଧୀରେ ଏହ‌ା ଉତ୍ତର ଦିଗକୁ ଗତି କରି ୯ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ବାଂଲାଦେଶ ଉପକୂଳ ନିକଟରେ ଅବପାତରେ ପରିଣତ ହେବ। ପରବର୍ତ୍ତୀ ୪ରୁ ୫ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଉପରେ ରହିବ।ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବ‌ର୍ଷା ହୋଇପାରେ। ଶନିବାର ପୁରୀ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିପାରେ। ଉପକୂଳ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସହ ବଜ୍ରପାତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିବାକୁ  ଏସ୍‌ଆର୍‌ସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରରେ ଅଛନ୍ତି ସେମାନେ ୭ ତାରିଖ ସୁଦ୍ଧା ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ଗଶେଶ ପୂଜାରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସକାଳୁ ବର୍ଷା ଆରମ୍ଭ ହେବ। ଅପରାହ୍ଣ ୨ଟା ବେଳକୁ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ରାତି ସୁଦ୍ଧା ସବୁ ଜିଲ୍ଲାରେ ସ୍ବଳ୍ପ ବର୍ଷା ହୋଇପାରେ। ୭ରୁ ୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବିକ୍ଷିପ୍ତ ବର୍ଷା ହୋଇପାରେ। ୧୦ ଓ ୧୧ ତାରିଖରେ ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ସଂଲଗ୍ନ କେନ୍ଦୁଝର, ଢେଙ୍କାନାଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ଊଣା ଅଧିକେ ବର୍ଷା ଲାଗିରହିବ। ଆଜି ଅପରାହ୍ଣ ୪ଟାରେ ବିଶାଖାପାଟଣାଠାରୁ କିଛି ଦୂରରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ରହିଥିଲା।