ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ‘ସୁଦୃଶ୍ୟ ଲଘୁଚାପ ବଳୟ’ ସକ୍ରିୟ ରହିଛି । ଆଗାମୀ ୨ ଦିନ ମଧ୍ୟରେ ଏହି ସିଷ୍ଟମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ଅଧିକ ଶକ୍ତିଶାଳୀ ହେବା ସହ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କିନ୍ତୁ କିଛି ନିର୍ଦ୍ଦିଷ୍ଟ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଭଦ୍ରକ, ଯାଜପୁର ଏବଂ କେନ୍ଦୁଝର ଭଳି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ କୁହାଯାଇଛି ।

ସେହିପରି ପୁରୀରେ ଗତକାଲିଠାରୁ ବର୍ଷା ଲାଗି ରହିଥିବାବେଳେ ଗତ ୩୬ଘଣ୍ଟା ମଧ୍ୟରେ ୧୦୫.୮ମିମି ବର୍ଷା ହୋଇଛି । ବର୍ଷା ସତ୍ତ୍ବେ ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ଶ୍ରଦ୍ଧାଳୁମାନେ ବର୍ଷାରେ ଭିଜି ରଥ ଟାଣିଛନ୍ତି । ପୁରୀରେ ଶୁକ୍ରବାର ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ହେଲେ ମଧ୍ୟାହ୍ନ ପରେ ବର୍ଷା କମିବାର ସମ୍ଭାବନା ଅଛି ।

Leave a comment