ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି,ସନ୍ଧ୍ୟା ୬ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଅନୁଷ୍ଠିତ ହେବ ଏହି ଗୁପ୍ତ ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଅନୁଷ୍ଠିତ ହେବ ନୀତି। ସନ୍ଧ୍ୟା ୬ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ପ୍ରସ୍ତୁତି ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗିର ଅସଲ ସମୟ ଧାର୍ଯ୍ୟ ହେବ । ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।ମହାପ୍ରଭୁଙ୍କର ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନକୁ ବନ୍ଦ କରାଯାଏ । ବୁଧବାର ସନ୍ଧ୍ୟା ୬ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏହି ସମୟରେ ବଛା ବଛା ସେବାୟତଙ୍କୁ ଛାଡି ଅନ୍ୟ କୌଣସି ଲୋକ କିମ୍ବା ଦର୍ଶକ ମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବ ନାହିଁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।