ସାମାଜିକ ସୁରକ୍ଷା ଭତ୍ତାକୁ ନଗଦ ଅର୍ଥ ଆକାରରେ ଦେବା ନିଷ୍ପତିର ପୁର୍ନବିଚାର କରାଯାଉ -ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତି ଚିନ୍ତାଜନକ । ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା ପ୍ରଦାନ କରିବାର ବୀପରିତ ଦିଗକୁ ଦର୍ଶାଉଛି । ତେଣୁ ସ୍ୱଚ୍ଛତା ବଜାୟ ରଖିବା ତଥା ଭ୍ରଷ୍ଟାଚାରକୁ ଦୂର କରିବାର ପ୍ରତିବଦ୍ଧତାକୁ ଧ୍ୟାନରେ ରଖି ଏହି ନିଷ୍ପତିର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ନଗଦ ଅର୍ଥ ପ୍ରଦାନ ଜରିଆରେ ମଧ୍ୟସ୍ଥିଙ୍କ ଦ୍ୱାରା ଦୁର୍ନୀତି, ହେରଫେର୍ କାରଣରୁ ହିତାଧିକାରୀମାନେ ଅତୀତରେ ଶୋଷଣ ହେବାର ଅନେକ ନଜିର ରହିଛି । ଓଡ଼ିଶା ସରକାରଙ୍କ ଦ୍ୱାରା ହିତାଧିକାରୀଙ୍କୁ ନଗଦ ଅର୍ଥ ପ୍ରଦାନ କରିବାର ନିଷ୍ପତି ପୁଣି ଥରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରୋତ୍ସାହନ ଦେବ । ଏହି ସମସ୍ୟା ଆମ ବରିଷ୍ଠ ନାଗରିକଙ୍କ ଉପରେ ବୋଝ ସୃଷ୍ଟି କରିପାରେ । ତେଣୁ ଡିବିଟି ପ୍ରକ୍ରିୟା ମାଧ୍ୟମରେ ବରିଷ୍ଠ ନାଗରିକ, ବିଧବା ଏବଂ ଦିବ୍ୟାଙ୍ଗଙ୍କୁ ଭତ୍ତା ସହାୟତା ପ୍ରଦାନ କରାଯାଉ ।