ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଭରସା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।