ନବୀନଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ

ଭୁବନେଶ୍ବର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ। ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଲେ। ଯେଉଁ ଶ୍ରମିକ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ। ତେବେ ପ୍ରତ୍ୟେକ ଶ୍ରମିକଙ୍କୁ  ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ।