ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂତନ କ୍ୟାମ୍ପସକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧର ଲୋକାର୍ପଣ ହୋଇଛି । ଏହାକୁ ଭର୍ଚ୍ଚୁଆଲ ମୋଡରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ପରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା ସହ ଉତ୍କଳମଣୀ ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ ମୁଖ୍ୟମନ୍ତ୍ରୀ । ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡିଶାର ବରପୁତ୍ରମାନଙ୍କୁ ମଧ୍ୟ ସ୍ମରଣ କରିଛନ୍ତି । ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ ହେବାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂଆ କ୍ୟାମ୍ପସ୍କୁ ଉଦ୍ଘାଟନ କରିବା ଅବସରରେ କହିଛନ୍ତି, ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ।
ସେ କହିଛନ୍ତି, ନିକଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ୱ ବିଦ୍ୟାଳୟର କ୍ୟାମ୍ପସ୍ ଲୋକାର୍ପଟ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି। ଫେବୃଆରୀ ୩ ତାରିଖରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏକ ଗୌରବର ସମୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।