ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ, ଜନ୍ମମାଟିକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ, ଜନ୍ମମାଟି ମୟୁରଭଞ୍ଜକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ । ସକାଳ ୯ଟାରେ ରାଜଭବନରୁ ବାହାରି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୁର୍ତ୍ତୀରେ ମାଲ୍ୟାର୍ପଣ କରିବେ ରାଷ୍ଟ୍ରପତି ।

ଏହାପରେ ପୂର୍ବାହ୍ନ ୯.୧୫ମିନିଟ ସମୟରେ ବିଜୁପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନାର ବିମାନ ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ୧୦.୧୫ମିନିଟ ସମୟରେ ଅବତରଣ କରିବେ । ପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡସ୍ଥିତ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ପୁର୍ବାହ୍ନ ୧୧ଟା ୦୫ମିନିଟରେ ଅବତରଣ କରିବ ରାଷ୍ଟ୍ରପତିଙ୍କ ହେଲିକପ୍ଟର । ସେଠାରୁ ସଡକପଥରେ ନିଜ ଜନ୍ମଗାଁ ଉପରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ ରାଷ୍ଟ୍ରପତି ।

ମଧ୍ୟାହ୍ନ ୧୨.୦୫ରେ ସେଠାରୁ ବାହାରି ଉପରବେଡାସ୍ଥିତ ପୈତୃକ ଘରେ ପହଞ୍ଚି ଆତ୍ମୀୟସ୍ୱଜନ ଓ ଗ୍ରାମବାସୀଙ୍କ ସହ ରାଷ୍ଟ୍ରପତି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ମଧ୍ୟାହ୍ନ ୧୨.୩୦ମିନିଟରେ ଉପରବେଡାରୁ ବାହାରି ସଡକପଥରେ ରାଇରଙ୍ଗପୁରସ୍ଥିତ ଗେଷ୍ଟ ହାଉସ ଠାରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିବେ ।

ଅପରାହ୍ନ ୩ଟା ସମୟରେ ରାଇରଙ୍ଗପୁରସ୍ଥିତ ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ପହଞ୍ଚି ନିଜ ସ୍ୱାମୀ ଓ ୨ପୁତ୍ରଙ୍କ ସ୍ମୃତିରେ ସ୍ଥାପନ କରିଥିବା ଏସ.ଏଲ୍.ଏସ୍. ଟ୍ରଷ୍ଟ ପକ୍ଷରୁ ଏକ ଆମ୍ବୁଲାନ୍ସ ଡାକ୍ତରଖାନାକୁ ହସ୍ତାନ୍ତର କରିବା ସହ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ଦ୍ରୌପଦୀ ମୁର୍ମୁ । ଏହାପରେ ଅପରାହ୍ନ ୪ଟା ସମୟରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ଠାରେ ପହଞ୍ଚି ବିଦ୍ୟାର୍ଥୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ ।

ସେଠାରୁ ବାହାରି ଅପରାହ୍ନ ୪ଟା ୫୦ମିନିଟ ସମୟରେ ରାଇରଙ୍ଗପୁରସ୍ଥିତ ପୁଣ୍ୟେଶ୍ୱର ଶିବମନ୍ଦିର ଠାରେ ନୂତନ ଭାବେ ସ୍ଥାପିତ ଗଣେଶ ମୂର୍ତ୍ତିକୁ ଉନ୍ମୋଚନ କରିବେ ଏବଂ ଆଳତୀ କରିବେ ପରେ ନିଜ ବାସଭବନକୁ ଆସି ରାତ୍ରୀଯାପନ କରିବେ ।