ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ବାର୍ଷିକ ମହୋତ୍ସବକୁ ଉଦଘାଟନ କଲେ

ବାରିପଦା:  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଥର ପାଇଁ ନିଜ ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସିଛନ୍ତି। ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ସେଠାରୁ ରାଷ୍ଟ୍ରପତି ସହିଦ ସ୍ମୃତି ଭବନରେ ଆୟୋଜିତ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଅଛନ୍ତି। ଏହା ପରେ ସେ ଅପରାହ୍ଣ ୨ଟା ୩୫ରୁ ୩ଟା ୧୫ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିବେ। ନଭେମ୍ବର ୨୧ତାରିଖ (ମଙ୍ଗଳବାର) ରାଷ୍ଟ୍ରପତିଙ୍କୁ ମୟୂରଭଞ୍ଜର ପାହାଡପୁର ଗ୍ରାମବାସୀ ପୂର୍ବାହ୍ଣ ୮ଟା ୧୫ରୁ ୯ଟା ୧୫ ମଧ୍ୟରେ ସ୍ବାଗତ କରିବେ। ସେଠାରେ ରାଷ୍ଟ୍ରପତି ସ୍ବର୍ଗତ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ। ପରେ ସେ ପ୍ରୟାସ ଟ୍ରଷ୍ଟ ଦ୍ବାରା ନିର୍ମିତ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍ଘାଟନ କରିବେ। ସକାଳ ୮ଟା ୫୦ରୁ ୯ଟା ୧୫ ମଧ୍ୟରେ ଏସ୍ଏଲଏସ୍ ମେମୋରିଆଲ ଆବାସିକ ସ୍କୁଲ ପରିସରରେ ସମାଧୀ ସ୍ଥଳକୁ ଯିବେ। ସେଠାରେ ଏସ୍ଏଲଏସ୍ ଟ୍ରଷ୍ଟ ସ୍କୁଲର ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ସଂପର୍କୀୟଙ୍କୁ ସମ୍ବୋଧିତ କରିବେ। ଏହା ପରେ ବିଦ୍ୟାଳୟ ପରିସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହାମହିମ ଏହି ଦିନ ସକାଳ ୯ଟା ୧୫ରୁ ୧୦ଟା ୪୫ ଭିତରେ ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ। ଏହି ଟ୍ରେନ୍ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍ଘାଟନ କରାଯିବ। ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ପୂର୍ବାହ୍ନ ୧୦ଟା ୪୫ରୁ ୧୧ଟା ୨୫ ଭିତରେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ। ମଙ୍ଗଳବାର ଅପରାହ୍ଣ ୪ଟା ୩୦ରୁ ୫ଟା ୩୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ। ଏହା ପୂର୍ବରୁ ସେ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ। ସନ୍ଧ୍ୟା ୫ଟା ୪୫ରେ ସେ ମା’ ସମଲେଶ୍ବରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। ଆସନ୍ତା ୨୨ ତାରିଖ ପୂର୍ବାହ୍ଣ ୧୦ଟା ୨୦ରୁ ୧୧ଟା ୨୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ।