ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ: ଆଜି ଶ୍ରୀଜିଉଙ୍କ ରାଜରାଜେଶ୍ବେର ବେଶ ବା ସୁନାବେଶ ।  ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ସୁନାବେଶ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ । ଠାକୁରଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ । ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଆଜି ରଥାରୂଢ଼ ଶ୍ରୀବିଗ୍ରହଙ୍କ ହେବ ସୁନାବେଶ । ମହାପ୍ରଭୁଙ୍କ ସୁନାବେଶ ପାଇଁ ସକାଳୁ ଚାଲିଛି ସବୁ ନୀତିକାନ୍ତି । ମଙ୍ଗଳ ଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ବେଶ ଶେଷ, ଗୋପାଳ ବଲ୍ଳଭ, ସକାଳ ଧୂପ, ମଇଲମ, ମହାସ୍ନାନ ଓ ସର୍ବାଙ୍ଗ, ବେଶ ଶେଷ ପରେ ଅନ୍ୟାନ୍ୟ ନୀତି ବଢ଼ି ମେକାପ ସର୍ବାଙ୍ଗ ପରେ ଶ୍ରୀଜିଉମାନଙ୍କ ସୁନାବେଶ ନୀତି ଅନୁଷ୍ଠିତ ହେବ ।