ଆଜି ଅଧରପଣା :ସୁନାବେଶରେ ଠାକୁରଙ୍କୁ ଦର୍ଶନକଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

ପୁରୀ: ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଭୋଗ ହେବ ମହାପ୍ରଭୁଙ୍କ ନିକଟରେ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହେବ  । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯିବ  । ପ୍ରତି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯିବ ।  ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିବେ  । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯିବ । ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି । ଗତକାଲି  ପାଦରୁ ମସ୍ତକ ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ମହାପ୍ରଭୁ ଦେଇଛନ୍ତି ଦର୍ଶନ। ମହାବାହୁଙ୍କୁ ମନଭରି ଦେଖିବାପାଇଁ ଆତୁର ଭକ୍ତ ବି ଏହି ଅପୂର୍ବ ରୂପ ଦର୍ଶନ କରି ଅଭିଭୂତ ହୋଇଥିଲେ। ଏଥିପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଥିଲା।