୬ ଜିଲାରେ ପ୍ରବଳ ଛେଚିବ
ମେଟ୍ରୋ ଟିଭି ଓଡିଶା (୨୬.୬.୨୦୨୨)
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଅଧିକାଂଶ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିଛି। ଗତକାଲି ଝାଡ଼ଖଣ୍ଡ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୪.୫ କିମି ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ଚାନ୍ଦବାଲି, ପାରାଦ୍ବୀପ, ପୁରୀ, କେନ୍ଦୁଝର, ମାଲକାନଗିରି, ଦାରିଙ୍ଗବାଡି ଏବଂ ରାୟଗଡାର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି। ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ, ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ବିଶେଷ କରି ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।