ଆସନ୍ତା କାଲି ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :

କାଲି ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ସରିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱତନ୍ତ୍ର ବିମାନ ଯୋଗେ ୧୨ଟା ୨୫ରେ ଦିଲ୍ଲୀରୁ ବାହାରିବେ । ଅପରାହ୍ନ ୨ଟା୪୫ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଁଚିବେ ରାଷ୍ଟ୍ରପତି ।

ତେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ଯିବେ । ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କ ସମେତ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ବିମାନବନ୍ଦରରେ ଉପସ୍ଥିତ ରହିବେ । ସେଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ ରାଷ୍ଟ୍ରପତି । ଏକ ସ୍ୱତନ୍ତ୍ର କାରକେଡରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ପୁରୀରେ ରାତ୍ରୀଯାପନ ପରେ ୨୦ ତାରିଖ ବଡ଼ଦାଣ୍ଡ ସ୍ଥିତ ଗୌଡିୟ ମଠରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍ ହେବେ । ସେଠାରୁ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଣ୍ଟା ଧରି ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେହିଦିନ ନିର୍ବାଚନ ଥିବାରୁ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି ପୁରୀ ଜିଲ୍ଲା ପ୍ରଶାସନ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨ ଶହ ପୋଲିସ ଅଧିକାରୀ ମୁତୟନ ରହିବେ । ସେପଟେ ଗୌଡିୟ ମଠ ପରିସରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।