ଆଜିଠୁ ୩ ଯାଏ ପ୍ରବଳ ବର୍ଷା
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଧା ଆଦି ଜିଲ୍ଲାର କେତେକ ସ୍ଥାନରେ ଆସନ୍ତାକାଲି ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧୦ ମିମି ବର୍ଷା ସମ୍ଭାବନା ରହିଛି। ଏହାଛଡ଼ା ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ। କିଛି କିଛି ସ୍ଥାନରେ ବର୍ଷା ମଧ୍ୟ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।