24 ଘଣ୍ଟାରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ , ଦୁଇଟି ଜିଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ଦୁଇଟି ଜିଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ ଥିବାରୁ ଝିପିଝିପି ବର୍ଷା ଲାଗି ରହିଛି। ଗତ ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, କଳାହାଣ୍ଡି, କୋରାପୁଟ, ନୟାଗଡ଼, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟାରେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ୩୦ରୁ ୪୦କି.ମି.ବେଗରେ ପବନ ଓ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Leave a comment