ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର ପ୍ରବଳ ବର୍ଷା
ଉତ୍ତର ଆନ୍ଧ୍ର ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।
ଆସନ୍ତା ୫ରୁ ୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିର ମାଥିଲିରେ ସର୍ବାଧିକ ୪୫ ମି.ମି., ଜଗତସିଂହପୁରରେ ୪୧.୧ ମି.ମି., ନବରଙ୍ଗପୁରର ଝରିଗାଁରେ ୩୦ ମି.ମି ବର୍ଷା ରେକର୍ଡ଼ କରାଯାଇଥିଲା।